ଦେଶ ବିଦେଶ

ଅବପାତର ରୂପ ନେଲା ଲଘୁଚାପ: ପ୍ରବଳ ବର୍ଷା ପାଇଁ ଆଜି ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଶନିବାର ପ୍ରବଳ ବର୍ଷା ଲାଗି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବର୍ଷା ପାଇଁ ଶନିବାର ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପଟେ ୨ ଦିନ ଧରି ହେଉଥିବା ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ଅନେକ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ଗତ ୨୪ ଘଣ୍ଟାରେ ଜିଲ୍ଲାରେ ୧୦୭.୬ ମିଲିମିଟର ସହ ରାଜ୍ୟର ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଜିଲ୍ଲାର କାଙ୍କରକୋଣ୍ଡା ଓ କନ୍ୟା ଆଶ୍ରମ ପୋଲ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ମାଲକାନଗିରିରୁ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହା ଶନିବାର ସନ୍ଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ସ୍ଥଳଭାଗକୁ ଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାରୁ ଲଘୁଚାପଟି ଅଧିକ ଘନୀଭୂତ ହେଲେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button