ଦେଶ ବିଦେଶ

ହାଇକୋର୍ଟର ନୂଆ ବିଚାରପତି: ଆନନ୍ଦ ଚନ୍ଦ୍ର ବେହେରା, ଶିବଶଙ୍କର ମିଶ୍ର – Utkal Mail


ନୂଆଦିଲ୍ଲୀ/ କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଛି। ୨୦୨୩ ଅଗଷ୍ଟ ୧୭ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବିଶିଷ୍ଟ ଆଇନଜୀବୀ ଶ୍ରୀ ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ବେହେରାଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଆଜି ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ହାଇକୋର୍ଟର ଦୁଇ ନୂଆ ବିଚାରପତି ଆସନ୍ତା ସପ୍ତାହରେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି।

ଶିବଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮ ମେ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସ୍ବର୍ଗତ ଅନଙ୍ଗଭୀମ ମିଶ୍ର ଓ ସ୍ବର୍ଗତ ଶଶିରେଖା ମିଶ୍ରଙ୍କ ପୁଅ ଶିବଶଙ୍କର କୋରାପୁଟର ଜୟପୁର ଲ କଲେଜରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ। କୋରାପୁଟ ଜିଲ୍ଲାର ପ୍ରଥମ ବ୍ୟକ୍ତିଭାବେ ସେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ‌ପାଇବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଛି। ଶ୍ରୀ ମିଶ୍ର ୧୯୯୧ ଡିସେମ୍ବର ୭ରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିବା ବେଳେ ତାଙ୍କର ଏହି ପେସାରେ ୩୦ ବର୍ଷର ଅନୁଭବ ରହିଛି। ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କ ବିଶେଷ ଦକ୍ଷତା ରହିଛି। ସୁପ୍ରିମକୋର୍ଟରେ ସେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ ଅନ୍ ରେକର୍ଡ ଅଛନ୍ତି। ସେ ଓଡ଼ିଶା ହାଇକୋର୍ଟ ଓ ‌େକନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି।

ସେହିଭଳି ଆନନ୍ଦ ଚନ୍ଦ୍ର ବେହେରା ୧୯୬୪ ମେ ୨୩ରେ ଜନ୍ମଗ୍ରହଣ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି। ଶ୍ରୀ ବେହେରା ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡଭାଇଜର ଭାବେ କାର୍ଯ୍ୟରତ ଥିବା ବେଳେ ସୁପ୍ରିମକୋର୍ଟ କଲେଜିୟମ ତାଙ୍କ ନାଁ ସୁପାରିସ କରିଥିଲା। ଏଠାରେ ଉଲ୍ଲେଖଯୋଗ୍ୟ ଯେ ହାଇକୋର୍ଟରେ ମଞ୍ଜୁରିପ୍ରାପ୍ତ ବିଚାରପତି ପଦ ୩୩ ହୋଇଥିବା ବେଳେ ବର୍ତ୍ତମାନ ମୁଖ୍ୟ ବିଚାରପତିଙ୍କ ସମେତ ୨୦ଜଣ ବିଚାରପତି ‌ରହିଛନ୍ତି। ଦୁଇ ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟର ବିଚାରପତି ସଂଖ୍ୟା ୨୨ରେ ପହଞ୍ଚିଛି।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button